ଆସନ୍ତାକାଲି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭାରତ ବନ୍ଦ ଡାକରା ଯୋଗୁ ଶୁକ୍ରବାର ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାନୁଷ୍ଠାନଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ଶୁକ୍ରବାର ବିଦ୍ୟାଳୟ ବନ୍ଦ ସମ୍ପର୍କରେ ସମସ୍ତ ଜିଲ୍ଲାର ଜିଲ୍ଲା ଶିକ୍ଷାଧିକାରୀମାନଙ୍କୁ ଚିଠି ଲେଖିଥିବା ବେଳେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ ସମସ୍ତ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜ ବନ୍ଦ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖାଯାଇଥିବା ବିଭାଗ ଚିଠିରେ ଉଲ୍ଲେଖ କରିଛି। ଅନୁରୂପ ଭାବେ ରାଜ୍ୟର ସମସ୍ତ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ।