ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନରୁ ୩.୧ କିଲୋମିଟର ଉପରେ ରହିଛି। ଏହା ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରସ୍ଥଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଆସନ୍ତା ୨୯ରୁ ୩୧ ତାରିଖ ମଧ୍ୟରେ ରାଜ୍ୟର କେତେକ ଜିଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘଡଘଡି ସହିତ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ଆଭ୍ୟନ୍ତରୀଣ ଓଡିଶାର ଅନେକ ସ୍ଥାନରେ ପାଗ ଶୁଖିଲା ରହିବାର ପୂର୍ବାନୁମାନ ମଧ୍ୟ କରାଯାଇଛି।