ନବରଙ୍ଗପୁର,ଏନ୍ଏନ୍ଏସ୍: ନବରଙ୍ଗପୁର ଜିଲ୍ଲା ଭୀମ ଭୋଇ ସାମର୍ଥ୍ୟ ଶିବିରର ଆୟୋଜନ ନିମନ୍ତେ ଆଜି ସ୍ଥାନୀୟ ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ରରେ ଜିଲ୍ଲାପାଳ ଡା. କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲାପାଳ ଡା. ମିଶ୍ର ସମସ୍ତଙ୍କୁ ସ୍ୱାଗତ ଜଣାଇ ସବୁ ଯୋଗ୍ୟ ବିବେଚିତ ବ୍ୟକ୍ତି ବିଶେଷଙ୍କୁ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବା ଆବଶ୍ୟକ ସହାୟତା ପାଇପାରିବେ ସେଥିପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ଆୟୋଜନ ନିମନ୍ତେ ଆବଶ୍ୟକ ସମସ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ଡା. ମିଶ୍ର ନିର୍ଦ୍ଦେଶ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ, ଜିଲ୍ଲା ସାମାଜ କଲ୍ୟାଣ ଅଧିକାରୀ ଶିବାନୀ ଗୁହା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ମଳୟ କୁମାର ତ୍ରିପାଠୀ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ନିୟୋଜନ ଅଧିକାରୀ ଆନନ୍ଦ ପଲାଇ, ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ, ସମସ୍ତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଓ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । ଜିଲ୍ଲାର ପ୍ରତ୍ୟକ ବ୍ଲକ ଓ ମୁନିସିପାଲିଟିରେ ଭୀମ ଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହେବା ପାଇଁ ସ୍ଥିର କରାଯାଇଛି । ଭୀମ ଭୋଇ ସାମର୍ଥ୍ୟ ଶିବିରର ଆୟୋଜନ ନିମନ୍ତେ ତାରିଖ ଚୂଡ଼ାନ୍ତ କରିବା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି । ଶିବିର ଅନୁଷ୍ଠିତ ହେବା ପୂର୍ବରୁ ଅଙ୍ଗନବାଡି ଓ ଆଶା ଦିଦି ଘରେ ଘରେ ବୁଲି ସର୍ବେକ୍ଷଣ କରି ସମସ୍ତ ଦିବ୍ୟାଙ୍ଗଙ୍କୁ ଚିହ୍ନଟ କରିବା ସହ ସମସ୍ତେ ଯେପରି ଶିବିରରେ ଉପସ୍ଥିତ ହୋଇ ଦିବ୍ୟାଙ୍ଗ ପ୍ରମାଣ ପତ୍ର ପାଇବା ସହ ସାମାଜିକ ସୁରକ୍ଷା ଯୋଜନାରେ ସାମିଲ ହୋଇପାରିବେ ସେଥିପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବା ପାଇଁ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଓ ସମସ୍ତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି । ଏହି ପ୍ରସ୍ତୁତି ବୈଠକକୁ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର ପରିଚାଳନା କରିଥିଲେ ।