କଟକରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ମହାତ୍ମା ଗାନ୍ଧୀ ଓ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

କଟକ,ଏନ୍ଏନ୍ଏସ୍: ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଗସ୍ତ କରି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ସହ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଣ୍ଟନମେଣ୍ଟ ରୋଡ ସ୍ଥିତ ଗୋପବନ୍ଧୁ ଛକରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କର ଏକ ପ୍ରତିମୂର୍ତ୍ତି ଉନ୍ମୋଚିତ କରିଥିଲେ। ଏହାକୁ ମାନବତାର ପ୍ରତିମୂର୍ତ୍ତି ନାମରେ ନାମିତ କରାଯାଇଛି। ଏଥିସହିତ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଏକଶତ ବର୍ଷ ପାଳନ ଉତ୍ସବ ଗତ ମାର୍ଚ୍ଚ ୨୩ ତାରିଖରୁ ସାରା ରାଜ୍ୟରେ ଆରମ୍ଭ କରାଯାଇଛି।

ଏହି ପରିପ୍ରେକ୍ଷୀରେ ଆଜି ମୁଖ୍ୟମନ୍ତ୍ରୀ କଟକ କାଠଯୋଡ଼ି ନଦୀ ବାଲିରେ ଆୟୋଜିତ ଏକ ବିରାଟ ଜନସମାବେଶରେ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ଏଥିସହ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ସ୍ମାରକୀ ଭାବରେ କାଠଯୋଡ଼ିର ବେଲ ଭ୍ୟୁ ଛକରେ ନିର୍ମିତ ଗାନ୍ଧୀ ଭିତ୍ତି ସ୍ଥାପତ୍ୟ କଳାର ଲୋକାର୍ପଣ ମଧ୍ୟ କରିଛନ୍ତି। ଏଥିରେ ଗାନ୍ଧୀଙ୍କ ବିଭିନ୍ନ ଆନ୍ଦୋଳନର ଦୃଶ୍ୟ ସମେତ ତାଙ୍କ ଆଦର୍ଶ ଓ ନୀତି ସୁନ୍ଦର ଭାବରେ ଦୃଶ୍ୟମାନ ହୋଇଛି।