ବିଧାନସଭା ପରିସରରେ ଉତ୍କଳମଣିଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର,ଏନଏନଏସ:  ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ବୁଧବାର ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୨ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବିଧାନସଭା ପରିସରରେ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବାଚସ୍ପତି ଡ. ପାତ୍ର ବିଧାନସଭା ପ୍ରାଙ୍ଗଣରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସଂସ୍କାରକ, ସମାଜସେବୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ଉପବାଚସ୍ପତି ରଜନୀକାନ୍ତ ସିଂହ, ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ସମେତ ବିଧାନସଭାର ସଦସ୍ୟ, ପୂର୍ବତନ ସଦସ୍ୟ, ଉତ୍କଳ ସମ୍ମିଳନୀର କର୍ମକର୍ତା ଓ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏହି ମହାନ ବରପୁତ୍ରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଶାଶ୍ୱତି ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଳାକାରମାନେ ଉତ୍କଳମଣିଙ୍କ ସ୍ମୃତିରେ ଏକ ସଙ୍ଗୀତ ପରିବେଷଣ କରିଥିଲେ । ଏହି ଅବସରରେ ମହାବିଦ୍ୟାଳୟସ୍ତରୀୟ ଗୋପବନ୍ଧୁ ସ୍ମାରକୀ ବାଗ୍ମିତା ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଯୁଗ୍ମ ନିଦେ୍ର୍ଧଶକ (ଗବେଷଣା) ଶ୍ରୀ ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମଟିର ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଧାନସଭା ସଚିବ ଦାଶରଥୀ ଶତପଥୀ ଓ ବିଧାନସଭାର କର୍ମଚାରୀମାନେ ଉପସ୍ଥିତ ଥିଲେ ।