ଆସନ୍ତା ୪୮ ଘଣ୍ଟାରେ ଅତି ପ୍ରବଳ ବର୍ଷା, ୧୬ ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲମାର୍କ ଲୋ ପ୍ରେସର ଏବେ ଅବପାତରେ ପରିଣତ ହୋଇଛି । ୨୪ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଏବଂ ଉପକୂଳବର୍ତ୍ତୀ ୧୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିପାରେ । ରାଜ୍ୟର ୧୬ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଦେଇଛି । ଭଦ୍ରକ, ବାଲେଶ୍ୱର, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, କଟକ, କେନ୍ଦ୍ରାପଡା, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ଅନୁଗୋଳ, ପୁରୀ ଏବଂ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ସେହିପରି ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିଭଳି ଅନ୍ୟ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା ମୟୁରଭଞ୍ଜ, ଯାଜପୁର, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଏବଂ ଗଜପତି ଜିଲ୍ଲା । ରାଜ୍ୟ ସରକାର ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ତଳିଆ ଅଞ୍ଚଳରେ ବସବାସ କରୁଥିଲେ ସତର୍କ ରୁହନ୍ତୁ ବୋଲି ସୂଚନା ଦିଆଯାଇଛି । ସେପଟେ ପବନର ବେଗ ଘଣ୍ଟାପ୍ରତି ୫୦ କିଲୋମିଟରରୁ ଅଧିକ ରହିବ ବୋଲି ଆଶଙ୍କା କରାଯାଉଛି । ତେଣୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।