ରାଜ୍ୟରେ ତିନି ଦିନ ପ୍ରବଳ ବର୍ଷିବ

ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଆଖପାଖ ଅଞ୍ଚଳରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ଥିତଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇସାରିଛି । ଏହାର ପ୍ରଭାବ ଆସନ୍ତା ୩ଦିନ ପର୍ଯ୍ୟନ୍ତ ଜାରି ରହିବ ।

ବିଶେଷ କରି ଉତ୍ତର ଓଡ଼ିଶାରେ ବର୍ଷର ପରିମାଣ ଅଧିକ ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ବର୍ଷାକୁ ଦୃଷ୍ଟିରେ ରଖି ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଭଦ୍ରକ, ଯାଜପୁର, ବାଲେଶ୍ୱର, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା ଜିଲ୍ଲା ରହିଛି। ସେହିପରି ଅନୁଗୁଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା କାରଣରୁ ଆସନ୍ତା ୩ଦିନ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।