ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜି ଓ କାଲି ପ୍ରବଳ ବର୍ଷା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହି ଲଘୁଚାପଟି ଘନିଭୂତ ହୋଇ ୱେଲମାର୍କଡରେ ପରିଣତ ହୋଇଥିବା ଜଣାପଡ଼ିଛି। ସେହିପରି ଲଘୁଚାପଟି ପଶ୍ଚିମ ଦିଗରେ ଗତିକରୁଥିବାରୁ ଏହାର ପ୍ରଭାବରେ ରାଜ୍ୟରେ ଗତକାଲି ରାତ୍ରିରୁ ପ୍ରବଳ ବର୍ଷା ହେଉଥିବା ଦେଖିବାକୁ ମିଳିଛି। ବିଶେଷ କରି ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ଼, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବଲାଙ୍ଗିର, ସୋନପୁର ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେଉଛି। ଏହି ଜିଲ୍ଲାମାନଙ୍କୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ଆସନ୍ତା କାଲି ମଧ୍ୟ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।