୧୨ରୁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା; ଜିଲ୍ଲାପାଳଙ୍କୁ ଆଲର୍ଟ କଲେ ଏସଆରସି

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆସନ୍ତା ୧୩ ତାରିଖରେ ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଆନ୍ଧ୍ରପ୍ରଦେଶ ଉପକୂଳରେ ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖଠାରୁ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଦକ୍ଷିଣ ଓଡ଼ିଶାରେ ଜିଲ୍ଲାପାଳମାନଙ୍କୁ ସଜାଗ ରହିବା ପାଇଁ ସ୍ବତନ୍ତ୍ର ରିଲିଫ୍‌ କମିସନର(ଏସ୍‌ଆରସି) ପରାମର୍ଶ ଦେଇଛନ୍ତି। ସେହିପରି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ରହିଛି। ଏହି ପରିପ୍ରେକ୍ଷୀରେ ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କନ୍ଧମାଳ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ରହିଛି।

୧୨ ଓ ୧୩ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାରେ ମୌସୁମୀ ଅଧିକ ସକ୍ରିୟ ରହିବ। ଫଳରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁରର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କଟକ ଓ ଭୁବନେଶ୍ବର ସହରରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସନ୍ଧ୍ୟାରେ ଘଡ଼ଘଡ଼ି ଓ ବଜ୍ରପାତ ହେବାର ଆଶଙ୍କା ରହିଛି।