ଆସନ୍ତାକାଲି ୮ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,ଏନ୍ଏନ୍ଏସ୍ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ୱେଲମାର୍କଡ୍ ଲୋପ୍ରେସରରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଥିବା ବେଳେ ଗୁରୁବାର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ଏହି ବର୍ଷାର ପରିମାଣ ଅଧିକ ରହିବ ବୋଲି ପାଣପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। କେନ୍ଦ୍ରର ନିର୍ଦ୍ଦେଶକ ଏଚ୍ଆର ବିଶ୍ୱାସ କହିଛନ୍ତି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଶୁକ୍ରବାର ଦିନ ବର୍ଷାର ପରିମାଣ ଆହୁରି ବୃଦ୍ଧି ପାଇବ। ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୩ଟି ଜିଲ୍ଲାପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ, ଗଜପତି, କନ୍ଧମାଳ ଓ ବୌଦ୍ଧରେ ମଧ୍ୟ ସେହିଦିନ ବର୍ଷାର ପରିମାଣ ଅଧିକ ରହିବ।

୧୨ ତାରିଖରେ ପର୍ଯ୍ୟନ୍ତ ଏହି ବର୍ଷା ଜାରି ରହିବା ସହିତ ୧୩ ତାରିଖ ଠାରୁ ଏଥିରେ ପରିବର୍ତ୍ତନ ଆସି ବର୍ଷାର ପରିମାଣ ହ୍ରାସ ପାଇବ। ତେବେ ଏହି ଲଘୁଚାପ ପାଇଁ ପବନର ବେଗ ବୃଦ୍ଧି ପାଇ ୪୦-୫୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ôଚବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୧୨ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।