ଓଡିଶାକୁ ଆସିଲା ଦକ୍ଷିଣ-ପଶ୍ଚିମ ମୌସୁମୀ, ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ନେବ ଲଘୁଚାପର ରୂପ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବେଶ କରିଛି। ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ଗଜପତି, ଗଞ୍ଜାମ ଜିଲ୍ଲାରେ ମୌସୁମୀର ସମ୍ପୂର୍ଣ୍ଣ ପ୍ରବେଶ ହୋଇଛି। ବରଗଡ଼, ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀକୁ ଆଂଶିକ ସ୍ପର୍ଶ କରିଛି। ଆଗାମୀ ୩୬ ଘଣ୍ଟା ଭିତରେ ରାଜ୍ୟର ବାକି ଅଞ୍ଚଳରେ ବି ପହଞ୍ଚିବ ମୌସୁମୀ।

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଶୁକ୍ରବାର ସୁଦ୍ଧା ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ୨୪ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହେବ। ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରୁଥିବାରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜିଠାରୁ ବର୍ଷା ବଢିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେଥିଲାଗି ଆଜି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗିର, ନୟାଗଡ଼, ସୋନପୁର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଜିଲ୍ଲାର କିଛି ଜାଗାରେ ପ୍ରବଳରୁ ଅତି ପ୍ରବଳ ଏବଂ ସ୍ଥାନେ ସ୍ଥାନେ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା ରହିଥିବାରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

ଗଞ୍ଜାମ, କଟକ, ଅନୁଗୁଳ, ସମ୍ବଲପୁର, ବରଗଡ଼, ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି, କୋରାପୁଟ, କେନ୍ଦ୍ରାପଡ଼ାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହାବାଦ୍‌ ରାୟଗଡ଼ା, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷାର ସମ୍ଭାବନା ଅଛି। ଏହି ୧୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆସନ୍ତାକାଲି ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, କଳାହାଣ୍ଡି, ବୌଦ୍ଧ, ସମ୍ବଲପୁର, ଅନୁଗୁଳ, ନବରଙ୍ଗପୁରର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ନୟାଗଡ଼, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଦେବଗଡ଼ରେ ବର୍ଷା ସମ୍ଭାବନା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୩ରେ ବି ବର୍ଷା ଲାଗି ରହିବ।