ଚାଷୀଙ୍କ ଲାଗି ସାରର ଅଭାବ ରହିବନି, ଅଧିକ ଦରରେ ବିକ୍ରୟ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,ଏନ୍ଏନ୍ଏସ୍: କୋଭିଡ୍‍-୧୯ ସ୍ଥିତିରେ ଚଳିତ ଖରିଫ୍‍ ଚାଷ ନିମନ୍ତେ ଚାଷୀମାନେ ଯେପରି ସାର ଓ ଅନ୍ୟାନ୍ୟ କୃଷି ସାମଗ୍ରୀ ଠିକଣା ସମୟରେ ଓ ଧାର୍ଯ୍ୟ ଦରରେ ପାଇପାରିବେ ସେଥି ନିମନ୍ତେ ପ୍ରତ୍ୟେକ ସ୍ତରରେ ତଦାରଖ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ରାଜ୍ୟକୁ ଅଧିକ ପରିମାଣର ସାର ଯୋଗାଇଦେବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଛି ବୋଲି କହିଛନ୍ତି କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ। ସାର ଯେପରି ଧାର୍ଯ୍ୟ ଦରରେ ବିକ୍ରି ହୁଏ ଓ ଏହାର ସୁଷମ ବଣ୍ଟନ ନିମନ୍ତେ ଯାଞ୍ଚ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ମନ୍ତ୍ରୀ ଡ. ସାହୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଅଧିକ ଦରରେ ସାର ବିକ୍ରି କରିବାର ଅଭିଯୋଗ ଆସିଲେ, ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଡ. ସାହୁ କହିଛନ୍ତି।

ବୁଧବାର ଆୟୋଜିତ ଏକ ଭର୍ଚୁଆଲ୍‍ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟରେ ଖରିଫ୍‍ ଚାଷ ସମେତ ବିଭିନ୍ନ ଯୋଜନାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏଥି ସହିତ ଚାଷୀମାନଙ୍କୁ ଯୋଗାଇ ଦିଆଯାଉଥିବା କୃଷି ସାମଗ୍ରୀର ଗୁଣାତ୍ମକ ମାନ ଓ ପରିମାଣରେ କୌଣସି ପ୍ରକାରର ସାଲିସ କରାଯିବ ନାହିଁ ବୋଲି ମନ୍ତ୍ରୀ ଶ୍ରୀ ସାହୁ କହିଛନ୍ତି। ସେହିପରି କୋଭିଡ -୧୯ ସ୍ଥିତିରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୂୁକ୍ତି ଆଇନରେ ବୃକ୍ଷରୋପଣ ଓ ମୋ ପୋଖରୀ ଯୋଜନା କାର୍ଯ୍ୟକାରୀ କରି ଅଧିକ ଶ୍ରମ ଦିବସ ଓ ଭିତ୍ତିଭୂମି ନିର୍ମାଣ ଉପରେ ମନ୍ତ୍ରୀ ଶ୍ରୀ ସାହୁ ଗୁରୁତ୍ୱ ଦେଇଛନ୍ତି। ବୈଠକରେ ବିଭାଗର ସଚିବ ଡ.ସୌରଭ ଗର୍ଗ, ସ୍ୱତନ୍ତ୍ର ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ନିର୍ଦ୍ଦେଶକ ଡ.ଏମ୍ ମୁଥୁକୁମାର, ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା, ହେମନ୍ତ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ରହିଥିଲେ।